Odisha News

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା : ୮ରୁ କମିବ, ୧୨ରୁ ବଢିବ !

ଭୁବନେଶ୍ୱର,୭/୯: ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି। ଆସନ୍ତା କାଲି ଅର୍ଥାତ ଶୁକ୍ରବାର ମଧ୍ୟ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପ୍ରଭାବ କମିବ।
ତେବେ ୧୨ ତାରିଖଠାରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଆସନ୍ତା ୨୪ ଘଣ୍ଟା ଭିତରେ ସମ୍ୱଲପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ସୁବର୍ଣ୍ଣପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୁନ୍ଦରଗଡ଼, ବୌଦ୍ଧ, ବରଗଡ଼, ଅନୁଗୋଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର‌୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତାକାଲି ଅର୍ଥାତ ୮ ତାରିଖରେ ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କଟକ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର‌୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେପଟେ ଆଜି ମଧ୍ୟାହ୍ନରେ ରାଜଧାନୀ ଆକାଶରେ କଳାହାଣ୍ଡିଆ ମେଘ ଘୋଟି ଆସିଥିଲା। ଚାହୁଁଚାହୁଁ ପ୍ରବଳ ବର୍ଷି ଥିଲା। ଯାହାଫଳରେ ରାଜଧାନୀରେ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଅନେକ ସ୍ଥାନରେ ବର୍ଷା ପାଣି ଜମି ରହିଥିବା ଦେଖିବାକୁ ମିଳିଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

Related Posts

Seo wordpress plugin by www.seowizard.org.